Skip to content
Home » ମାଥିଉ 21: 23-23: 39

ମାଥିଉ 21: 23-23: 39

ଯୀଶୁଙ୍କର ଅଧିକାରକୁ ଆହ୍ୱାନ

23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ? 24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି । 25 ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା ? ସ୍ୱର୍ଗରୁ ବା ମନୁଷ୍ୟଠାରୁ ? ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ? 26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି । 27 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।ଦୁଇ ପୁଅଙ୍କ ଦୃଷ୍ଟାନ୍ତ28 ମାତ୍ର ତୁମ୍ଭେମାନେ କ’ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର । 29 ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା । 30 ପୁଣି, ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ । ସେ ଉତ୍ତର ଦେଲା, ଆଜ୍ଞା, ମୁଁ ଯାଉଅଛି, କିନ୍ତୁ ଗଲା ନାହିଁ । 31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, “ପ୍ରଥମ ଜଣକ” । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି । 32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ । ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ ।ଦ୍ରାକ୍ଷାକ୍ଷେତ୍ରରେ ଦୁଷ୍ଟ ଭାଗଚାଷୀଙ୍କ ଦୃଷ୍ଟାନ୍ତ33 ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ । 34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ । 35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ । 36 ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ । 37 କିନ୍ତୁ ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ । 38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ । 39 ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ । 40 ଅତଏବ ଯତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କ’ଣ କରିବେ ? 41 ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ । 42 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ? 43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ। 44 ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ । 45 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ । 46 ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।
ବିବାହ ଭୋଜର ଦୃଷ୍ଟାନ୍ତ22ପୁଣି, ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ, ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ । ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ, କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ, ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ । କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ । ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ । ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର । 10 ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା । 11 କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ, 12 ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ ? ମାତ୍ର ସେ ନିରୁତ୍ତର ହୋଇ ରହିଲା । 13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ । 14 କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ ।କର ଦେବା ପ୍ରସଙ୍ଗ15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ । 16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ । 17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କ’ଣ ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ? 18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ ? 19 ସେହି କରର ମୁଦ୍ରା ମୋତେ ଦେଖାଅ। ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ଅଧୁଲି ଆଣିଲେ । 20 ସେ ସେମାନଙ୍କୁ ପଚାରିଲେ, ଏହି ମୁର୍ତ୍ତି ଓ ନାମ କାହାର ? 21 ସେମାନେ କହିଲେ, କାଇସରଙ୍କର । ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ । 22 ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ ।ସାଦ୍ଦୂକୀଙ୍କ ପୁନରୁତ୍‌ଥାନର ପ୍ରଶ୍ନ23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ, 24 ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ । 25 ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି, ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; 26 ଦ୍ୱିତୀୟ, ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ । 27 ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା । 28 ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ? ସମସ୍ତେ ତ ତାହାକୁ ବିବାହ କରିଥିଲେ । 29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ । 30 କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି । 31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ ? 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍‌ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର । ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର । 33 ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।ଶ୍ରେଷ୍ଠ ଆଜ୍ଞା34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, 35 ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ, 36 ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ ? 37 ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର । 38 ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା । 39 ଦ୍ୱିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର । 40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ ।ଖ୍ରୀଷ୍ଟ କାହାର ସନ୍ତାନ ?41 ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ, 42 ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କ’ଣ ? ସେ କାହାର ସନ୍ତାନ ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର । 43 ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି ? 44 ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ । 45 ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ ? 46 ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।
ସାଦ୍ଦୂକୀ ଓ ଫାରୂଶୀମାନଙ୍କ ପ୍ରତି ସାତୋଟି ସନ୍ତାପ23ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ, ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି । ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ । ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ । ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି, ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ, ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି । କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ । ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି । 10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ । 11 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ । 12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ ।ଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ ଭର୍ତ୍ସନା13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ । 14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ ।] 15 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ । 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ବନ୍ଧା । 17 ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କ’ଣ ଶ୍ରେଷ୍ଠ ? 18 ଆହୁରି କହୁଥାଅ, କେହି ବେଦିର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ, ସେ ତଦ୍ୱାରା ବନ୍ଧା । 19 ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ ? 20 ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ; 21 ଆଉ ଯେ ମନ୍ଦିରର ଶପଥ କରେ, ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ; 22 ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ । 23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ । 24 ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ । 25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ । 26 ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ । 27 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ; 28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।କପଟୀ ଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ ଦଣ୍ଡର ଭବିଷ୍ୟତ ବାଣୀ29 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ, 30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ । 31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ । 32 ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୂର୍ଣ୍ଣ କର । 33 ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ ? 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ, 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ । 36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ ।ଯିରୂଶାଲମ ପ୍ରତି ଯୀଶୁଙ୍କର ବିଳାପ37 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ । 38 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ିଦିଆଯାଉଅଛି । 39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।