Skip to content
Home » ପର୍ବତ ଉପରେ ଉପଦେଶ |

ପର୍ବତ ଉପରେ ଉପଦେଶ |

ଯୀଶୁଙ୍କ ପାର୍ବତ୍ୟ ଉପଦେଶ

ଲୋକମାନଙ୍କୁ ଦେଖି ଯୀଶୁ ପର୍ବତ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ ।

କେଉଁମାନେ ଧନ୍ୟ

ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର ।ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ ।ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ ।ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ ।ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ ।ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ ।ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ଭାବରେ ପରିଚିତ ହେବେ ।10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର ।11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋ’ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ । 12 ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ ।

ଲବଣ ଓ ଆଲୋକ

13 ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ । 14 ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ । 16 ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।

ମୋଶାଙ୍କ ବ୍ୟବସ୍ଥା ସଫଳ ନିମନ୍ତେ ଖ୍ରୀଷ୍ଟ

17 ମୁଁ ଯେ ମୋଶାଙ୍କ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି । 18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ । 20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।

କ୍ରୋଧ

21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, 24 ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର ।25 ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ । 26 ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।

ବ୍ୟଭିଚାର

27 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ । 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି ।29 ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । 30 ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।

ଛାଡ଼ପତ୍ର

31 ଆହୁରି ଉକ୍ତ ଅଛି, ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ । 32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।

ଶପଥ

33 ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ । 34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ; 35 କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;36 ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ । 37 କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ ।

ପ୍ରତିହିଂସା

38 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ; 39 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ ।40 ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ । 41 ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ । 42 ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ ।

ଶତ୍ରୁ ପ୍ରତି ପ୍ରେମ

43 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର । 44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, 45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି ।46 ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର ? କରଗ୍ରାହୀମାନେ ସୁଦ୍ଧା କ’ଣ ତାହା କରନ୍ତି ନାହିଁ ? 47 ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର ? ଅଣଯିହୂଦୀମାନେ ସୁଦ୍ଧା କ’ଣ ତାହା କରନ୍ତି ନାହିଁ ? 48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।


ଦାନଧର୍ମ6

ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ । ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କ’ଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।

ପ୍ରଭୁଙ୍କ ଆଦର୍ଶ ପ୍ରାର୍ଥନା

ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ । ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି ।ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ’ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି । ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ ।10 ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ ।11 ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ ।12 ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର ।13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; 15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।

ପ୍ରକୃତ ଉପବାସ

16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି । 17 କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, 18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।

ସ୍ୱର୍ଗରେ ସଂଞ୍ଚିତ ଧନ

19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; 20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ ।

ଶରୀରର ଜ୍ୟୋତିଃ

22 ଚକ୍ଷୁ ଶରୀରର ପ୍ରଦୀପ । ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ । 23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର !

ଈଶ୍ୱର ଓ ଧନ

24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ ।

ଚିନ୍ତିତ ନ ହୁଅ

25 ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ’ଣ ଖାଇବ ବା କ’ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ’ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ? 26 ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ କ’ଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ?27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ ? 28 ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, 29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ ।30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ? 31 ଏଣୁ କ’ଣ ଖାଇବା ? ଅବା କ’ଣ ପିଇବା ? କିଅବା କ’ଣ ପିନ୍ଧିବା ? ଏହା କହି ଚିନ୍ତିତ ହୁଅ ନାହିଁ ।32 କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି । 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ । 34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।


ଅନ୍ୟର ବିଚାର ନ କରିବା7

ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ । କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ । ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ ? ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ । ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।

ମାଗ, ଖୋଜ ଓ ଦ୍ୱାରରେ ଆଘାତ କର

ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ । କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ । କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, 10 କିଅବା ମାଛ ମାଗିଲେ ତାହାକୁ ସାପ ଦେବ ? 11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ !

ଧର୍ମଶାସ୍ତ୍ରର ସାର

12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର । 13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ । 14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।

ଗଛ ଓ ତା’ ଫଳ

15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ ! 16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ । ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି ? 17 ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ। 18 ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ । 19 ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ । 20 ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ ।ମୁଁ

ତୁମ୍ଭମାନଙ୍କୁ ଜାଣେ ନାହିଁ

21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ । 22 ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ? 23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି, ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ । ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ ।

ଦୁଇ ଗୃହ ନିର୍ମାଣକାରୀ

24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ । 25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା । 26 ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ । 27 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା ।

ଯୀଶୁଙ୍କର ଅଧିକାର

28 ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, 29 କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।

ମାଥ୍ୟୁ 5-7-